Latestରାଜ୍ୟ

ଝଲସିଲା କଟକ-ପୁରୀ ବାଇପାସ୍‌ ରୋଡ

ଭୁବନେଶ୍ବର () ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ଭୁବନେଶ୍ବରର ଟଙ୍କପାଣି ରୋଡସ୍ଥିତ ସାଇମନ୍ଦିର ଛକ ଠାରେ କଟକ-ପୁରୀ ବାଇପାସ୍‌ ରୋଡରେ ଏଲ୍‌ଇଡି ଷ୍ଟ୍ରିଟଲାଇଟ ଆଲୋକୀକରଣ ବ୍ୟବସ୍ଥାକୁ ଲୋକାର୍ପିତ କରିଛନ୍ତି । ଏହି ଆଲୋକୀକରଣ ବ୍ୟବସ୍ଥା ବାଇପାସ୍‌ ରୋଡର ପଳାଶୁଣୀ ଛକ ଠାରୁ ଲିଙ୍ଗିପୁର ଛକ ପର୍ଯ୍ୟନ୍ତ ୧୨ କିଲୋମିଟର ରାସ୍ତାରେ ଆଲୋକୀକରଣ କାର୍ଯ୍ୟକାରୀ କରାଯାଇଛି।

ଏହାଦ୍ବାରା ବିଦ୍ୟୁତ ଶକ୍ତି ଖର୍ଚ୍ଚ କମିବା ସହିତ ଜନସାଧାରଣ ବିଶେଷକରି ଗାଡିଚାଳକ ଓ ପଥଚାରୀମାନଙ୍କ ଯାତାୟତ ଅଧିକ ନିରାପଦ ହେବ ଏବଂ ଉତ୍ତମ ଆଲୋକୀକରଣ ବ୍ୟବସ୍ଥା ଦ୍ବାରା ସଡକ ଦୁର୍ଘଟଣା କମିବା ସହିତ ଚୋରୀ ଓ ଲୁଟପାଟ ଭଳି ଅପରାଧିକ କାର୍ଯ୍ୟକଳାପ ମଧ୍ୟ କମିପାରିବ ବୋଲି ମୁଖ୍ୟମନ୍ତ୍ରୀ ମତବ୍ୟକ୍ତ କରିଥିଲେ।

ସୂଚନାଯୋଗ୍ୟ ଯେ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଏଥିରେ ୩୮୭ଟି ଖୁଣ୍ଟିରେ ୧୨୦ ୱାଟ ବିଶିଷ୍ଟ ୭୭୪ଟି ଏଲ୍‌ଇଡି ଲାଇଟ ଲଗାଯାଇଛି ଏବଂ ଲିଙ୍ଗିପୁର, କେଶୁରା ଓ ପାଣ୍ଡରା ଠାରେ ୩ଟି ହାଇମାଷ୍ଟ ଲାଇଟ ଲଗାଯାଇଛି। ଏଥିପାଇଁ ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ୨.୮୫ କୋଟି ଟଙ୍କା ବ୍ୟୟ କରାଯାଇଛି।
ଭୁବନେଶ୍ବର ମହାନଗର ଅଞ୍ଚଳ ମଧ୍ୟରେ ନିଗମ ପକ୍ଷରୁ ଉଜ୍ଜଳ ଆଲୋକୀକରଣ କାର୍ଯ୍ୟକ୍ରମ ଜାରି ରହିଛି। ବର୍ତ୍ତମାନ ସହରର ବିଭିନ୍ନ ସ୍ଥାନରେ ୪୦ ହଜାରରୁ ଅଧିକ ଲାଇଟ ଲଗାଯାଇଛି। ଖୁବ୍‌ଶୀଘ୍ର ଅଧିକ ଆଲୋକୀକରଣ ପାଇଁ ଆଉ ୬.୭ କୋଟି ଟଙ୍କା ବିନିଯୋଗ କରାଯିବ।

ଏହି କାର୍ଯ୍ୟକ୍ରମରେ ପଞ୍ଚାୟତିରାଜ ଓ ପାନୀୟ ଜଳ ତଥା ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା, ବି‌ଜ୍ଞାନ ଓ ପ୍ରଯୁକ୍ତି ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ଭୁବନେଶ୍ବର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା ଏବଂ ଭୁବନେଶ୍ବରର ଉତ୍ତର ବିଧାୟକ ସୁଶାନ୍ତ କୁମାର ରାଉତ ପ୍ରମୁଖ ଯୋଗ ଦେଇଥିଲେ । ମ୍ୟୁନିସପାଲ ଆଡମିନିଷ୍ଟ୍ରେସନର ନିର୍ଦ୍ଦେଶକ ସଂଗ୍ରାମଜିତ ନାୟକ ସ୍ବାଗତ ଭାଷଣ ଦେଇଥିଲେ ଏବଂ ମହାନଗର ନିଗମର କମିଶନର ପ୍ରେମଚନ୍ଦ ଚୌଧୁରୀ ଧନ୍ୟବାଦ ଅର୍ପଣ କରିଥିଲେ।

Share

Leave a Reply

Your email address will not be published. Required fields are marked *

19 + nine =