Latestରାଜ୍ୟ

‘ସତ୍ୟଭାମାପୁର ସବୁ ଓଡ଼ିଆଙ୍କ ପାଇଁ ଏକ ତୀର୍ଥ କ୍ଷେତ୍ର’

କଟକ () ଉତ୍କଳ ଗୌରବ ମଧୁସୁଦନ ଦାସଙ୍କ ପବିତ୍ର ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ମଧୁବାବୁଙ୍କ ଜନ୍ମସ୍ଥାନ ସତ୍ୟଭାମାପୁର ଠାରେ ‘ଉତ୍କଳ ଗୌରବ ମଧୁସୁଦନ ସଂଗ୍ରହାଳୟ ଓ ବ୍ୟାଖ୍ୟାନ କେନ୍ଦ୍ର’ ( Museum & Interpretation Centre ) ଲୋକାର୍ପିତ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମଧୁ ବାବୁ ଥିଲେ ଓଡ଼ିଆ ସ୍ୱାଭିମାନର ପ୍ରତୀକ। ତାଙ୍କ ଜୀବନୀ ହେଉଛି ଓଡ଼ିଆ ସ୍ୱାଭିମାନର ଗୌରବମୟ ଗାଥା।

ଭିଡିଓ କନ୍ଫରେନ୍ସିଂ ଜରିଆରେ କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଉତ୍କଳ ଗୌରବଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରି କହିଲେ ଯେ ସତ୍ୟଭାମାପୁର ସବୁ ଓଡ଼ିଆଙ୍କ ପାଇଁ ଏକ ତୀର୍ଥ କ୍ଷେତ୍ର । ଏହି ସଂଗ୍ରହାଳୟରେ ସମସ୍ତଙ୍କୁ ବିଶେଷ କରି ଯୁବ ପିଢିଙ୍କୁ ଓଡିଆ ସ୍ବାଭିମାନର ସୁରକ୍ଷା ପାଇଁ ପ୍ରେରଣା ଦେଇ ଚାଲିବ ବୋଲି ସେ କହିଥିଲେ । ସତ୍ୟଭାମାପୁରକୁ ଏକ ଆଦର୍ଶ ଗ୍ରାମ ରୂପେ ବିକାଶ କରାଯାଉଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହି ଗ୍ରାମକୁ ଏକ ଗୁରୁତ୍ବପୂର୍ଣ୍ଣ ପର୍ଯ୍ୟଟନସ୍ଥଳ ଭାବରେ ପରିଣତ କରିବା ପାଇଁ ସରକାରଙ୍କ ପଦକ୍ଷେପ ଜାରି ରହିବ।

ମଧୁବାବୁଙ୍କ ଆଦର୍ଶରେ ଓଡିଶାକୁ ଶ୍ରେଷ୍ଠ ରାଜ୍ୟ କରିବାପାଇଁ ମିଳିମିଶି କାମ କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇ କହିଲେ ଯେ ମଧୁବାବୁଙ୍କ ଜାତି ପ୍ରୀତି ଓ ତ୍ୟାଗର ତୁଳନା ନାହିଁ । ଓଡ଼ିଆ ଜାତି ପାଇଁ ମଧୁବାବୁ ତାଙ୍କର ସବୁ କିଛି ତ୍ୟାଗ କରିଯାଇଛନ୍ତି। ତାଙ୍କ ପାଇଁ ଓଡ଼ିଆ ସ୍ୱାଭିମାନ ଥିଲା ସବୁଠୁ ଉପରେ। ତା ସହ ସେ କେବେବି ସାଲିସ କରିନାହାନ୍ତି। ଏ ଜାତି ପାଇଁ ତାଙ୍କର ଅବଦାନ ତାଙ୍କୁ ଓଡ଼ିଆ ଙ୍କ ହୃଦୟରେ ଯୁଗ ଯୁଗ ପାଇଁ ଅମର କରି ରଖିବ।

ଓଡିଶାକୁ ମଧୁବାବୁଙ୍କ ଅବଦାନ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ସ୍ବତନ୍ତ୍ର ଓଡିଶା ପ୍ରଦେଶ ଗଠନରେ ଭାଷାକୁ ଭିତ୍ତିକରି ରାଜ୍ୟ ଗଠନ ପାଇଁ ମଧୁ ବାବୁଙ୍କ ଉଦ୍ୟମ, ତାଙ୍କର ଦୂର ଦୃଷ୍ଟିର ପରିଚୟ ଦିଏ। ସ୍ବାଧୀନତା ପରେ ଭାଷା ସୂତ୍ରରେ ହିଁ ଭାରତର ଅନେକ ରାଜ୍ୟ ଗଠିତ ହୋଇଛି । କିନ୍ତୁ ସେତେବେଳେ ଓଡିଶା ଥିଲା ଭାଷା ଭିତିରେ ଭାରତର ପ୍ରଥମ ରାଜ୍ୟ ।

କାର୍ଯ୍ୟକ୍ରମରେ ଯୋଗ ଦେଇ ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ପ୍ରତାପ ଜେନା କହିଲେ ଯେ ମଧୁ ବାବୁ ଥିଲେ ଓଡ଼ିଆ ଜାତିର ମୂଖ୍ୟ ପୁରୋଧା। ତାଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀ ଆଜି ମଧୁ ସଂଗ୍ରହାଳୟ ଲୋକାର୍ପିତ କରିଛନ୍ତି । ଆଜି ସାରା ବିଶ୍ୱରେ ଥିବା ଓଡ଼ିଆ ମାନଙ୍କ ପାଇଁ ଗର୍ବ ଓ ଗୌରବର ଦିନ ବୋଲି ମନ୍ତ୍ରୀ କହିଥିଲେ।

ସାଲେପୁର ବିଧାୟକ ପ୍ରଶାନ୍ତ ବେହେରା କହିଥିଲେ ଯେ ମୁଖ୍ୟମନ୍ତ୍ରୀ ସତ୍ୟଭାମାପୂର ଗାଁ ର ବିକାଶ ପାଇଁ ଅନେକ ପଦକ୍ଷେପ ନେଇଛନ୍ତି। ସତ୍ୟଭାମାପୂର ର ଉନ୍ନତି ପାଇଁ ନିଆ ଯାଇଥିବା ବିଭିନ୍ନ ପଦକ୍ଷେପ ଉପରେ ସେ ଆଲୋକପାତ କରିଥିଲେ।

ଜିଲ୍ଲାପାଳ ଭବାନୀ ଚରଣ ଚଇନି ସ୍ବାଗତ ଭାଷଣ ଦେଇଥିଲେ ଏବଂ ସତ୍ୟଭାମାପୁର ମଧୁସୂଦନ ସାଂସ୍କୃତିକ ସଂଘର ସଭାପତି ଶ୍ରୀ ପ୍ରଶାନ୍ତ କୁମାର ରାଉତ ଧନ୍ୟବାଦ ଅର୍ପଣ କରିଥିଲେ। ଲୋକ ସେବା ଭବନରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଓ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମ ରେ ଯୋଗ ଦେଇଥିଲେ। ଏହି ଅବସରରେ ଉତ୍କଳ ଗୌରବ ମଧୁସୂଦନ ସଂଗ୍ରହାଳୟ ଓ ବ୍ୟାଖ୍ୟାନ କେନ୍ଦ୍ର ସଂପର୍କରେ ଏକ କ୍ଷୁଦ୍ର ଚଳଚ୍ଚିତ୍ର ପ୍ରଦର୍ଶିତ ହୋଇଥିଲା। ଏହି ସଂଗ୍ରହାଳୟରେ ମଧୁବାବୁଙ୍କ ଏନ୍ତୁଡ଼ି ଶାଳ, ପିଲା ଦିନର ବିରଳ ଫଟୋ, ଜନ୍ମ ଜାତକ, ଢ଼ିଙ୍କି ଆଦି ବିଭିନ୍ନ ବିରଳ ଜିନିଷ ସ୍ଥାନ ପାଇଛି।

Share

Leave a Reply

Your email address will not be published. Required fields are marked *

fifteen − nine =